ସିଙ୍ଗାପୁରରୁ ଫେରିଲେ ବିଶ୍ଵ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ

 

ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ସଫଳତାର ସହ ୬ ମାସିଆ ‘ପେଡ୍ ଇଣ୍ଟର୍ଣ୍ଣସିପ୍’ ଶେଷକରି ଓଡ଼ିଶା ଫେରିଛନ୍ତି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସ୍ୱାଗତ କରାଯାଇଥିଲା।
ଏହି ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ ବିମାନ ଯୋଗେ ଆସି ପହଞ୍ଚିଥିଲେ। ସେମାନଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ କରାଯିବା ସହ ସ୍ୱତନ୍ତ୍ର ବସରେ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ସେମାନଙ୍କୁ ପାରମ୍ପରିକ ଢାଞ୍ଚାରେ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା।
ଶିଳ୍ପ ତାଲିମ କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱ ଦକ୍ଷତା କେନ୍ଦ୍ର ବା ୱାର୍ଲ୍ଡ ସ୍କିଲ ସେଣ୍ଟରର ପ୍ରଥମ ବ୍ୟାଚର ଏହି ମେଧାବୀ ଛାତ୍ରଛାତ୍ରୀମାନେ ୬ ମାସ ବିଦେଶରେ ରହି ନିଜ ଜନ୍ମ ମାଟିକୁ ଫେରିଛନ୍ତି। ତେଣୁ ସେମାନଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଳକା ମିଶ୍ର ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେଠାରେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର ଇଣ୍ଟର୍ଣ୍ଣସିପ୍ ସମୟର ଅନୁଭୂତି ଓ ସେଠିକାର ପରିବେଶ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ କାମ କରି ଶିଖିବାର ଏଭଳି ସୁଯୋଗ ମିଳିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ତାଲିମ ନେଉଥିବା ବର୍ତ୍ତମାନର ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ସେମାନେ ସିନିୟରମାନଙ୍କଠାରୁ ସିଙ୍ଗାପୁର ଇଣ୍ଟର୍ଣ୍ଣସିପ୍ ସମୟର ଅନୁଭୂତି ଶୁଣି ପ୍ରେରଣା ପାଇଥିଲେ ।

Leave a Reply

Your email address will not be published. Required fields are marked *